ଭୁବନେଶ୍ୱର: ମଧୁବାବୁ ନାମରେ ମଧ୍ୟ ଜଣାଶୁଣା । ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା, ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ା ଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେ ପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ୱାନ ଦେଇଥିଲେ ।
ମଧୁସୂଦନ ଦାସଙ୍କର ପରିବାର
ମଧୁସୂଦନ ଦାସ କଟକ ଜିଲ୍ଲାର ସତ୍ୟଭାମାପୁରରେ ୨୮ ଅପ୍ରେଲ ୧୮୪୮ରେ ଜନ୍ମଗ୍ରହଣ କରିଥିଲେ । ପିତା ଚୌଧୁରୀ ରଘୁନାଥ ଦାସ ଓ ମାତା ପାର୍ବତୀ ଦେବୀଙ୍କ ପୁଅ ମଧୁସୂଦନଙ୍କ ପ୍ରଥମ ନାମ ଥିଲା ଚୌଧୁରୀ ଗୋବିନ୍ଦ ବଲ୍ଲଭ ଦାସ । ପରେ ତାଙ୍କ ବାପା, ମାଆ ତାଙ୍କ ନାମକୁ ବଦଳାଇ ମଧୁସୂଦନ ରଖିଥିଲେ । ସେ ଖ୍ରୀଷ୍ଟିଆନ ଧର୍ମ ଗ୍ରହଣ କରିବା ପରେ ସାମାଜିକ ଚଳଣି ଅନୁସାରେ ତାଙ୍କ ପିତା ତାଙ୍କ ସହ ସମ୍ବନ୍ଧ ତୁଟାଇ ଦେଇଥିଲେ । ଏଣୁ ସେ ଗାଁ ବାହାରେ କୋଠିଟିଏ ଗଢ଼ାଇ ସେଠାରେ ବସବାସ କରୁଥିଲେ । ତାଙ୍କ ମା' ପାର୍ବତୀ ଦେବୀ ତାଙ୍କ ପାଖକୁ ସକାଳେ ଓ ସଞ୍ଜରେ ଦେଖାକରି ସେକାଳର ଚଳଣି ଅନୁସାରେ ଗାଁ ମୁଣ୍ଡରେ ଥିବା ରସକୁଣ୍ଡ ପୋଖରୀରେ ଗାଧୋଇ ଘରକୁ ଆସୁଥିଲେ । ସତ୍ୟଭାମାପୁରଠାରେ ଥିବା ତାଙ୍କ ଏନ୍ତୁଡ଼ିଶାଳକୁ ଇନଟାକ ତରଫରୁ ପୁନରୁଦ୍ଧାର କରି ତାକୁ ମୂଳ ଢାଞ୍ଚାରେ ଆଉଥରେ ତିଆରି କରାଯାଇଛି ।
ଶିକ୍ଷା
ତାଙ୍କର ପାଠପଢ଼ା ଆରମ୍ଭ ହୋଇଥିଲା ସତ୍ୟଭାମାପୁରର ଗାଁ ଚାଟଶାଳୀରୁ ମାଟିବଂଶ ଅବଧାନଙ୍କ ତତ୍ତ୍ୱାବଧାନରେ । ଚାଟଶାଳୀ ପଢ଼ା ଶେଷ କରି ୧୩ ବର୍ଷ ବୟସରେ ସେ କଟକ ଗଲେ ଓ ଇଂରାଜୀ ବିଦ୍ୟାଳୟରେ ନାମ ଲେଖାଇଲେ । ଇଂରାଜୀ ବିଦ୍ୟାଳୟରେ ପାଠ ପଢିବା ପାଇଁ ତାଙ୍କ ପିତାମହୀ(ଆଇ) ଘୋର ଆପତ୍ତି କରିଥିଲେ । ତାଙ୍କର ଆଶଙ୍କା ଥିଲା ଯେ, ସେ ଇଂରାଜୀ ପଢିଲେ ‘କିରସ୍ତାନ ବା ଖ୍ରୀଷ୍ଟିଆନ’ ହୋଇଯିବ । ୧୮୬୪ରେ ମଧୁସୂଦନ ଅନ୍ୟ ଚାରିଜଣଙ୍କ ସହ କଟକ ସ୍କୁଲରୁ ଦ୍ୱିତୀୟ ଶ୍ରେଣୀରେ ଏଣ୍ଟ୍ରାନ୍ସ ପାସ କରିଥିଲେ (ଆଜି ଏହାକୁ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା କୁହାଯାଉଅଛି) । ଏହାପରେ ସେ ବାଲେଶ୍ୱରରେ କିରାଣି ଚାକିରିଟିଏ କଲେ । କିଛି ପଇସା ସଞ୍ଚୟ କରି ସେ ଉଚ୍ଚଶିକ୍ଷା ନିମିତ୍ତ ଚାନ୍ଦବାଲି ଦେଇ ଧୂଆଁକଳ ଚାଳିତ ନାଆରେ କଲିକତା ଯାତ୍ରା କଲେ । ୧୮୭୦ରେ ସେ ବି.ଏ. ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିଲେ । ନିଜର ଗୁଣ ଓ କର୍ମନିଷ୍ଠା ବଳରେ ସେ କଲିକତାର ଶ୍ରୀରାମପୁର କଲେଜରେ ଅଧ୍ୟାପକ ଭାବରେ ନିଯୁକ୍ତ ହେଲେ । ଛାତ୍ର ଛାତ୍ରୀମାନଙ୍କର ଅତି ପ୍ରିୟ ମଧୁବାବୁ ଇତି ମଧ୍ୟରେ କଲିକତା ବିଶ୍ୱବିଦ୍ୟାଳୟରୁ ବି.ଏଲ୍. ପାସ କରି ସାରିଥିଲେ ।
ରାଜନୀତି
୬ ଜାନୁଆରୀ ୧୯୨୧ ମସିହାରେ ମଧୁବାବୁ ବିହାର ଓଡ଼ିଶାର ମନ୍ତ୍ରୀରୂପେ ନିଯୁକ୍ତି ପାଇଥିଲେ । ସେତେବେଳେ ମନ୍ତ୍ରୀମାନଙ୍କୁ ମାସିକ ବେତନ ମିଳୁଥିଲା । ଇଂରେଜ ସରକାରଙ୍କଠାରୁ ଦରମା ନେଇ କାମ କଲେ ଲୋକଙ୍କୁ ନିରପେକ୍ଷ ସେବା ଦେବା ସମ୍ଭବ ନୁହେଁ ବୋଲି ଯୁକ୍ତି କରି ସେ ଅବୈତନିକ ମନ୍ତ୍ରୀପଦ ପାଇଁ ପ୍ରସ୍ତାବ ରଖିଥିଲେ । ସରକାର ଏଥିରେ ରାଜି ନ ହେବାରୁ ୯ ମାର୍ଚ୍ଚ ୧୯୨୩ରେ ସେ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।
Comments ସମସ୍ତ ମତାମତ 0