ଭୁବନେଶ୍ୱର: ଗତକାଲି ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୨ଟି ବିଭାଗର ୧୭ଟି ପ୍ରସ୍ତାବ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି ।
ଓଡିଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ୍ର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି । ସେହିପରି ଦ୍ବିତୀୟ ପ୍ରସ୍ତାବରେ ସୋନପୁର ଜିଲ୍ଲାର ତରଭା, ଉଲୁଣ୍ଡା, ସୋନପୁର ଓ ବୀରମହାରାଜପୁର ବ୍ଲକ୍ର ୬୪ଟି ଗ୍ରାମ ପଞ୍ଚାୟତର ୬୨୫ଟି ଗାଁରେ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ୫୫୩ କୋଟି ୮୫ ଲକ୍ଷ ୮୨ ହଜାର ୭୦୦ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି ।
ସେହିପରି ଓଡିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା (ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଏହି ସେବାର ମୂଳ ପଦବୀ ଆସିଷ୍ଟାଣ୍ଟ ଡାଇରେକ୍ଟର ଚୟନ ଲାଗି ଲିଖିତ ଓ ସାକ୍ଷାତକାର ପରୀକ୍ଷା ଲୋକସେବା ଆୟୋଗ ଦ୍ବାରା କରାଯିବ । ଓଡିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି ।
Comments ସମସ୍ତ ମତାମତ