ମୁଖ୍ୟ ଖବର
ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ନଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ। ତାଙ୍କ ବାସଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଉପସ୍ଥିତ ଥିଲେ।
ଗତକାଲି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଚୌଧୁରୀ ଚରଣ ସିଂ, ସବୁଜ ବିପ୍ଳବର ଜନକ ଏମ୍ ଏସ. ସ୍ୱାମୀନାଥନ, ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁର ଓ ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ୪ ବିଶିଷ୍ଟ ବ୍ୟକ୍ତିଙ୍କ ସମ୍ପର୍କୀୟ ଏହି ପୁରସ୍କାର ରାଷ୍ଟ୍ରପତିଙ୍କଠାରୁ ଗ୍ରହଣ କରିଥିଲେ । ଆୟୋଜିତ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଓ କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ସାମିଲ ହୋଇଥିଲେ ।
ଚଳିତ ବର୍ଷ ଆରମ୍ଭରୁ ଜାନୁଆରୀ ୨୩ ତାରିଖରେ ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବା ନେଇ ଘୋଷଣା କରାଯାଇଥିଲା । ଫେବୃଆରୀ ୩ ତାରିଖରେ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତରତ୍ନ ପ୍ରଦା ନେଇ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ । ପରେ ଫେବୃଆରୀ ୯ ତାରିଖରେ ନରସିଂହରାଓ, ଚରଣ ସିଂହ ଏବଂ ସ୍ବାମୀନାଥନଙ୍କୁ ଭାରତ ରତ୍ନରେ ସମ୍ମାନିତ କରାଯିବା ନେଇ ଟ୍ବିଟ କରି ସୂଚନା ଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
Comments ସମସ୍ତ ମତାମତ