ମୁଖ୍ୟ ଖବର
ଭୁବନେଶ୍ୱର: ମହା ବିଷୁବ ସଂକ୍ରାନ୍ତିକୁ ଓଡିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ ଏବଂ ଏହା ଭାରତର ପୂର୍ବ ରାଜ୍ୟରେ ମେଶ ସଂକ୍ରାନ୍ତି ଏବଂ ପଣା ସଂକ୍ରାନ୍ତି ଭାବରେ ମଧ୍ୟ ଜଣାଶୁଣା । ଓଡିଶା ସରକାରୀ କ୍ୟାଲେଣ୍ଡର ଅନୁଯାୟୀ ମହା ବିଷ୍ଣୁ ସଂକ୍ରାନ୍ତି ଏପ୍ରିଲ ୧୪ରେ ପାଳନ କରାଯାଏ । ଏହି ଦିନଟି ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ । ହନୁମାନଙ୍କ ଜନ୍ମଦିନ (କେବଳ ଓଡିଶାରେ) ପାରମ୍ପାରିକ ଓଡିଆ ସୋଲାର କ୍ୟାଲେଣ୍ଡରରେ ଏହି ଦିନ ନୂଆ ବର୍ଷର ଆରମ୍ଭ ହୋଇଥାଏ । ଏହି ସମୟରୁ ଗ୍ରୀଷ୍ମ ଋତୁ ମଧ୍ୟ ଆରମ୍ଭ ହୁଏ ।
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବାଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି । ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣାସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ ।
ପଣାସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ । ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ । ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ । ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି । ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ । ଏହିଦିନ ପବିତ୍ର ଝାମୁ ବ୍ରତର ଉଦଯାପନ କରାଯାଏ । ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ । ବ୍ରତ ଉଦଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି । ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି ।
Comments ସମସ୍ତ ମତାମତ