ମୁଖ୍ୟ ଖବର
ଭୁବନେଶ୍ୱର : ସୁବାଷ ଚନ୍ଦ୍ର ବୋଷ ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସର କମିଟିର ସମ୍ପାଦକ ହୋଇଥିଲେ । ଜବାହରଲାଲ ନେହେରୁ ଓ ସୁଭାଷ ବୋଷ ଉଭୟେ ପୂର୍ଣ୍ଣ ସ୍ୱାଧୀନତା ଚାହିଁଥିଲେ । ୧୯୩୦ରେ ଆଇନ ଅମାନ୍ୟ ଆନ୍ଦୋଳନ ବେଳେ ସୁଭାଷଙ୍କୁ ଗିରଫ କରି ଜେଲରେ ରଖାଯାଇଥିଲା, ତେବେ ୧୯୩୧ରେ ଗାନ୍ଧୀ-ଇରୱିନ ଚୁକ୍ତି ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା ।
୧୯୩୯ରେ ସେ ଫରୱାର୍ଡ଼ ବ୍ଳକ ନାମକ ଏକ ନୂତନ ଦଳ ଗଠନ କରିଥିଲେ । ସଶସ୍ତ୍ର ଆନ୍ଦୋଳନ ଦ୍ୱାରା ହିଁ ଭାରତକୁ ବ୍ରିଟିଶ ସାମ୍ରାଜ୍ୟବାଦରୁ ମୁକ୍ତ କରିହେବ ବୋଲି ସେ ବିଶ୍ୱାସ କରୁଥିଲେ । ସେ ଇଟାଲିର ଜନନାୟକ ଗାରିବାଲ୍ଡି ଓ ମାର୍ଜିନିଙ୍କଦ୍ୱାରା ଯଥେଷ୍ଟ ଅନୁପ୍ରାଣୀତ ହୋଇଥିଲେ । ସୁଭାଷଙ୍କର ଏହି ଉଗ୍ରନୀତି ଯୋଗୁଁ ବ୍ରିଟିଶ ସରକାର ତାଙ୍କୁ କଲିକତାଠାରେ ନଜରବନ୍ଦୀ ରୂପେ ରଖିଥିଲେ । ଭାରତର ସ୍ୱାଧୀନତା ପାଇଁ ଭାରତ ବାହାରେ ରହି ଯୁଦ୍ଧ କରିବା ପାଇଁ ୧୯୪୧ ଜାନୁଆରୀ ୧୭ ତାରିଖରେ ସେ ଭାରତର ସୀମାନ୍ତ ଅତିକ୍ରମ କରି ଆଫଗାନିସ୍ଥାନ ଓ ସୋଭିଏତ ଋଷ ମଧ୍ୟ ଦେଇ ମାର୍ଚ୍ଚ ମାସରେ ବର୍ଲିନଠାରେ ପହଂଚିଥିଲେ ।
ଜର୍ମାନୀର ନାଜି ଶାସକ ହିଟଲରଙ୍କ ସହ ସାକ୍ଷାତ କରି ଭାରତର ସ୍ୱାଧୀନତା ହାସଲ ସମ୍ପର୍କରେ ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ । ବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କଲେ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ । ସୁଦୂର ବର୍ଲିନରୁ ଆଜାଦ ହିନ୍ଦ ରେଡ଼ିଓ ମାଧ୍ୟମରେ ଭାରତବାସୀଙ୍କୁ ସଂଗ୍ରାମ ପାଇଁ ଆହ୍ୱାନ ଦେଇଥିଲେ । ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି ଆହ୍ୱାନରେ ସମସ୍ତଙ୍କୁ ଏକଜୁଟ କଲେ ।
Comments ସମସ୍ତ ମତାମତ